ଆଜିଠୁ ଉପକୂଳରେ ବଢିବ ବର୍ଷା : ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

238

କନକ ବ୍ୟୁରୋ : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଲଗ୍ନ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟରେ ପ୍ରଭାବରେ ଆଜିଠୁ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗତପତି କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମହାଅଷ୍ଟମୀ ତଥା ଆସନ୍ତକାଲିଠାରୁ ସାରା ରାଜ୍ୟରେ ବର୍ଷାର ପରିମାଣ ବଢିବା ସହ ପ୍ରାୟ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ୪ ତାରିଖ ଅର୍ଥାତ ନବମୀ ଦିନ ରାଜରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ବିଶେ‌ଷ କରି ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବ‌ର୍ଷା ହେବ ଓ ଉପକୂଳ ଓଡ଼ିଶା ସମେତ ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହ ଦଶହରା ଦିନ ବି ରାଜ୍ୟରେ ବର୍ଷା ଜାରି ରହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ଦେଖିବାକୁ ମିଳିଥିଲା । କହିବାକୁ ଗଲେ ବର୍ଷା ଭିତରେ ଏଥର ଦୁର୍ଗାପୂଜା କଟିବ ।