ଆସନ୍ତା ୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ । ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୮ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଓ ୧୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ ।

441

କନକ ବ୍ୟୁରୋ : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଂଟା ମଧ୍ୟରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି । ସେହିପରି ୧୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ରେଡ୍ ଆଲର୍ଟ ଜାରି ହୋଇଥିିବା ଜିଲ୍ଲାଗୁଡିକ ହେଲା ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ ଓ ବୌଦ୍ଧ । ଏଥିପାଇଁ ବର୍ଷା ଜନିତ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଦେଓଗଡ, ଝାରସୁଗୁଡା, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସଜିବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।