ଆସନ୍ତାକାଲି ଆଉ ଏକ ଲଘୁଚାପ : ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ସତର୍କ ରହିବାକୁ ୧୪ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

434

କନକ ବ୍ୟୁରୋ : ଆସନ୍ତାକାଲି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଘୂର୍ଣ୍ଣିବଳୟ । ଏହା ଆସନ୍ତାକାଲି ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦୁଇଦିନ ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବାରୁ ସମୁଦ୍ର ଅଶାନ୍ତ ରହିଛି ।

ତେଣୁ ଆସନ୍ତା ୧୪ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୧୯ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଳକନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଉପରମୁଣ୍ଡାରେ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ପାଣି ନିସ୍କାସନ ପାଇଁ ହୀରାକୁଦ ଡ୍ୟାମରେ ୧୪ଟି ଗେଟ୍ ଖୋଲାଯାଇଛି । ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି ।

୧୩ ତାରିଖଠାରୁ ୧୫ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ୨୨ ଜିଲ୍ଲା ପାଇଁ ଅରେଞ୍ଜ ଓ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ଆଲର୍ଟ ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ଜଳବନ୍ଦୀ ସମସ୍ୟା ଓ ଭୂସ୍ଖଳନ ପ୍ରତି ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ବଳୟ ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପର ରୂପ ନେବ ଓ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି ।