ରାଜ୍ୟରେ ପ୍ରବଳ ବର୍ଷା : ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

335

କନକ ବ୍ୟୁରୋ : ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ବିଶେଷ କରି କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି । ଗତକାଲି ଦକ୍ଷିଣ-ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ କ୍ଷେତ୍ର ରୂପରେ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିଥିବା ବେଳେ ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି ।

ପାଣିପାଗ କେନ୍ଦ୍ର କହିଛି ଯେ ଆଜି  ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷିପାରେ । ଏଣୁ ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ୧୬ ତାରିଖ ଦିନ ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପୁଣି ସମଗ୍ର ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ପରେ ଧୀରେଧୀରେ ବର୍ଷାର ପ୍ରଭାବ କମିବ ।