କନକ ବ୍ୟୁରୋ : ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷିବ । ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଆଜି ସକାଳେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏହାପରେ ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ୧୨ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଅତିକ୍ରମ କରିବ। ପ୍ରଭାବରେ ୧୧ ତାରିଖରୁ ଓଡ଼ିଶା ଉପକୂଳରେ ପବନର ବେଗ ବଢ଼ିବା ସହ ସାରା ରାଜ୍ୟରେ ବର୍ଷା ଆରମ୍ଭ ହେବ। ତେବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।
କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ବାସ କହିଛନ୍ତି, ଆସନ୍ତାକାଲି ରାଜ୍ୟରେ କାଁ ଭାଁ ସ୍ଥାନରେ ସ୍ବଳ୍ପବର୍ଷା ହୋଇପାରେ। କିନ୍ତୁ ଅବପାତର ପ୍ରଭାବରେ ୧୧ ତାରିଖ ଦିନ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କନ୍ଧମାଳ, ଜଗତସିଂହପୁର, ଖୋର୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।