କନକ ବ୍ୟୁରୋ : ରାଜ୍ୟରେ କିଛି ଦିନ ହେଲା କାଳବୈଶାଖୀ ବିତ୍ପାତ ଜାରି ରହିଛି । ଆଗକୁ ମଧ୍ୟ ଏହାର ପ୍ରକୋପ ଜାରି ରହିବ । ଆସନ୍ତା ୧ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ସ୍ବାଭାବିକଠାରୁ ଅଧିକ ବେଗରେ ପବନ ବୋହିବ । କିଛି କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି । ବିଶେଷକରି ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ପବନର ବେଗ ବଢ଼ିବ ଓ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ଓ ଏନେଇ କ୍ଷୟକ୍ଷତି ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇଛି।
କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ଆଜି ରାଜ୍ୟର ୪ଟି ଜିଲ୍ଲା ଯଥା ଗଜପତି, ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଉପକୂଳ ଓଡ଼ିଶା ସମେତ ରାଜ୍ୟର ୧୬ଜିଲ୍ଲାରେ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଧା, ନୟାଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି। ଏହିସବୁ ଜିଲ୍ଲାରେ ଆସନ୍ତାକାଲି ଉପରବେଳା ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।
ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ। ୨୯ ଓ ୩୦ ତାରିଖରେ ପବନର ବେଗ ସ୍ବାଭାବିକ ରହିବ। ଏହି ଦୁଇ ଦିନରେ ଯଥାକ୍ରମେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧ ତାରିଖ ଦିନ ପବନର ବେଗ ବଢ଼ିବ ଓ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୯ରୁ ୧ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/04/f77b8730aabdeabd95a677bf515bc04b.jpg)