ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ ଟଙ୍କା’ । ୫୩ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ପର୍ଯ୍ୟାୟ କ୍ରମେ ଯିବ ଟଙ୍କା ।

394

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା । ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି । ବିଶ୍ୱବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ । ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ । ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି।’

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସଂପର୍କରେ ଆଲୋଚନା କରିଥିଲେ । ସୁନ୍ଦରଗଡର କୁମାରୀ ମାରାଇ, ବରଗଡର ମାଣିକ ପ୍ରଧାନ ନବରଙ୍ଗପୁରର ଘନ ପାଇକ, ନୟାଗଡର ଦାଶରଥି ସାହୁ ଓ ମୟୁରଭଂଜର ଚାଷୀମାନେ କାଳିଆ ସହାୟତା ଦ୍ବାରା କିପରି ଚାଷ ସହିତ ଛେଳିପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମ କରି ସେମାନେ କିପରି ଲାଭବାନ୍‌ ହୋଇଛନ୍ତି, ସେ ବିଷୟରେ କହି କାଳିଆ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତ୍ବେ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ୱ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ ।