ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା : ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି; ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

1,220

କନକ ବ୍ୟୁରୋ : ଲଘୁଚାପ ପ୍ରଭାବରେ ଜାରି ରହିଛି ଲଗାଣ ବର୍ଷା । ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଲଘୁଚାପର ଲଗାଣ ପ୍ରଭାବ ଦେଖିବାକୁ ମିଳିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଭିଜୁଛି ପୂରା ଉପକୂଳ ଓଡ଼ିଶା । ଟ୍ୱିନସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବର୍ଷା ଲାଗି ରହିଛି । ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହା ସହ ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ଏହି ୪ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ । ଆସନ୍ତାକାଲି ବର୍ଷାର ପ୍ରକୋପ କିଛି ମାତ୍ରାରେ କମିବ । ୬ ତାରିଖ ଦିନ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ୭ ତାରିଖ ଦିନ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୮ ଓ ୯ ତାରିଖ ଦୁଇ ଦିନ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୧୩ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି କୁହାଯାଉଛି ।