କନକ ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।

Advertisment

ଅଗଷ୍ଟ ୧୯ ତାରିଖ ସକାଳ ୮ଟା ୩୦ ଯାଏଁ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅବିଭକ୍ତ କଟକ ଜିଲ୍ଲା, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ମୟୂରଭଂଜ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଅଗଷ୍ଟ ୧୯ରୁ ୨୦ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳର ସମୁଦ୍ର ଆଶାନ୍ତ ରହିବ । ୨୪ ଘଣ୍ଟାଯାଏଁ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀମାନଙ୍କୁ ଯିବାକୁ ବାରଣ କରାଯାଇଛି । ସେପଟେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲା ଉପରେ ପ୍ରଭାବ
ତଳୁଆ ଅଞ୍ଚଳରେ ପାଣି ଜମିପାରେ
ସହରାଂଚଳରେ ଟ୍ରାଫିକ୍ ସମସ୍ୟା ଉପୁଜିପାରେ
ଅତି ପ୍ରବଳ ବର୍ଷା ହେଲେ କଚ୍ଚା ଘର ଓ କଚ୍ଚା ରାସ୍ତା ପ୍ରଭାବିତ ହେବ
ଚାଷ ଜମିରେ ସାର ଓ କୀଟନାଶକ ପ୍ରୟୋଗକୁ ସ୍ଥଗିତ ରଖିବାକୁ ପରାମର୍ଶ
ପାହାଡ଼ିଆ ଅଂଚଳରେ ଭୂସ୍ଖଳନ ସମ୍ଭାବନା
ନଦୀଗୁଡିକର ଜଳସ୍ତର ବୃଦ୍ଧି ପାଇପାରେ
ଗୃହପାଳିତ ପଶୁ ଓ ପକ୍ଷୀଙ୍କୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ପରାମର୍ଶ
ଆଗକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବାରୁ କିଛି ଦିନ ଧରି ରାଜ୍ୟରେ ବର୍ଷା ଜାରି ରହିପାରେ ।