ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ । ୩ ଦିନ ପାଇଁ ମତ୍ସ୍ୟଜୀବୀଙ୍କ ଗଭୀର ସମୁଦ୍ର ଯିବା ମନା

991

କନକ ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଦୁଇ ଦିନ ଧରି ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରିବ । ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ, ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

  • ବଙ୍ଗୋପସାଗରରେ ଲଘୁଚାପ
  • କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା!
  • ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

୨୯ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଇପାରେ ବୋଲି କୁହାଯାଇଛି । ସେହିପର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଅନ୍ୟପଟେ ୩୦ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି ।

ତେବେ ବିଭିନ୍ନ ଜିଲ୍ଲାରେ ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଲାଗିରହିବ । ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ୩ ଦିନ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି । କିଛି ସ୍ଥାନରେ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଅନ୍ୟପଟେ ଜଳବନ୍ଦୀ ସମସ୍ୟା ଓ କ୍ଷୟକ୍ଷତି ନେଇ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।