ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି : ୬ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା

239

କନକ ବ୍ୟୁରୋ : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ର ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତାକାଲି ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅବପାତର ରୁପ ନେବା ପରେ ପରବର୍ତ୍ତୀ ତିନି ଦିନ ଯାଏଁ ତାମିଲନାଡୁ -ପୁଡୁଚେରୀ ଏବଂ ଆନ୍ଧ୍ର ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖରେ ଓଡିଶା ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।