ମରୁଡି ଆଶଙ୍କା ଭିତରେ ଆସିଲା ଆଶ୍ୱସ୍ତି କଲାଭଳି ଖବର । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ୩୦ଯାଏଁ ପ୍ରବଳ ବର୍ଷାର ପୂର୍ବାନୁମାନ ।

266

କନକ ବ୍ୟୁରୋ: ଉତ୍ତର-ପଶ୍ଚିମ ଓ ଏହା ସଂଲଗ୍ନ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଯାହାର ପ୍ରଭାବରେ ରବିବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର । ତେବେ ନଜର ପକାନ୍ତୁ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି । ୨୮ ତାରିଖରେ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପ୍ରାୟ ୧୬ଜିଲ୍ଲାରେ ଘଡଘଡି ସହ ଝଡବର୍ଷା ହେବା ନେଇ ସତର୍କ କରାଇଛି ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ । ଅନ୍ୟପଟେ ୨୯ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି ।ଲଘୁଚାପ ବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ବର୍ଷା ନେଇ ସଜାଗ ରହିବାକୁ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।