ଉତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ : ସାରା ରାଜ୍ୟରେ ବର୍ଷା

25

କନକ ବ୍ୟୁରୋ : ଗାଙ୍ଗେଟିକ ପଶ୍ଚିମବଙ୍ଗ ଓ ଉତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଉତର ଓଡିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲାରେ ଲଘୁଚାପର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏହା ସହ ଓଡିଶା ଉପକୂଳରେ ଘଂଟାକୁ ୪୫ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତା ୮ ତାରିଖ ଯାଏଁ ଏଭଳି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।