ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ… ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

189

ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି । ଏବେ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ାରୁ ମୌସୁମୀ ସଂପୂର୍ଣ୍ଣଭାବେ ଅପସରିଯାଇଛି । ସେହପରି ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର ଓ ମୟୁରଭଞ୍ଜରୁ ଅଧାରୁ ଅଧିକ ଅଂଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଅନ୍ୟପକ୍ଷରେ ଢେଙ୍କାନାଳ ଜିଲ୍ଲାର ଅଳ୍ପ କିଛି ଅଂଚଳରୁ ମୌସୁମୀ ପ୍ରତ୍ୟାହୃତ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତା ଦୁଇ ଦିନରେ ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଏବେ ସ୍ଥିର ରହିଛି । ଆସନ୍ତା ୧୩ ତାରିଖ ସୁଦ୍ଧା ଏହା ଏକ ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ ।