କନକ ବ୍ୟୁରୋ : ପାଦରେ ଅଳତା,ମଥାରେ ଟିପି ଟିପି କୁଙ୍କୁମ,ନୂଆ ବସ୍ତ୍ର ସାଙ୍ଗକୁ ଦୋଳି ଖେଳର ମଜା ଆଉ ତା’ସାଙ୍ଗକୁ ଗୀତ ‘ରଜ ଦୋଳି କଟମଟ ମୋ ଭାଇ ମୁଣ୍ଡରେ ସୁନା ମୁକୁଟ , ସୁନା ମୁକୁଟ ଲୋ ଦିଶୁଥାଇ ଝଟଝଟ ।’ ବରଷକ ଥରେ ଆସିଛି ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜ । ଆଜି ହେଉଛି ପହିଲି ରଜ । ତିନିଦିନ ଧରି ପାଳନ ହେଉଥିବା ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ସମ୍ବେଦନ ସହ ଜଡ଼ିତ ।

Advertisment
Raja
Raja Photograph: (Kanak News)

ରଜ ସଂକ୍ରାନ୍ତିର ପୂର୍ବ ଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି ଏବଂ ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ , ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ନାରୀ ଶରୀରର ସୁନ୍ଦରତାକୁ ସମ୍ମାନ ଦେଉଥିବା ପର୍ବ ହେଉଛି ରଜ । ଯାହାର ଆକ୍ଷରିକ ଅର୍ଥ ରଜବତୀ ହେବା । ଏହି ପର୍ବରେ ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନ ଚଷାପୁଅ ବସୁମତୀ ତଥା ହଳ,ଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥା’ନ୍ତି । ରଜରେ ପୋଡ଼ ପିଠା ଓ ମିଠା ପାନ ଖାଇବା ସହିତ ଝିଅ,ବୋହୂମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

RAJA
RAJA Photograph: (google)

ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷି ପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମ ଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନି ଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିପାଇଁ ଭୂ-ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜ ପର୍ବ । କୁମାରୀମାନଙ୍କ ପାଇଁ ରଜ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ ।

alata_women
alata_women Photograph: (google)

ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀ ଭାବେ ଆଗାମୀ ଦିନରେ କିଛି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ଏହି ରଜ ପର୍ବ ପାଳନ ଅବସରରେ କୁମାରୀମାନଙ୍କୁ ତାହା ଶିଖିବାକୁ ପଡ଼ିଥାଏ । କୁମାରୀମାନେ ରଜ ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀ ଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ ଏହି ଆଚାରସଂହିତା ତା’କୁ ସହାୟ ହୋଇଥାଏ । ରଜ ତିନି ଦିନ ଧରି ରଜସ୍ୱଳା ନାରୀ ଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା,ବଟା ଆଦି ଗୃହକର୍ମ ନକରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତାଙ୍କୁ ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇଁ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ । ଠିକ ସେହିପରି ଝିଅବୋହୂଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇ ପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ ।

mehendi
mehendi Photograph: (google)