କନକ ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଗତ ୬ଘଣ୍ଟାରେ ଏହା ଘଣ୍ଟା ପ୍ରତି ୧୩ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତିକରି ଗୋପାଳପୁର ଠାରୁ ୧୬୦କିମି ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ଏବଂ ପୁରୀଠାରୁ ୨୦୦କିମି ଦକ୍ଷିଣରେ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି । ଆଜି ରାତି ସୁଦ୍ଧା ପାରାଦ୍ୱୀପ ଏବଂ ଗୋପଳପୁର ମଧ୍ୟରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ  ସାରା ରାଜ୍ୟରେ ଜାରି ରହିଛି ବର୍ଷା। ତେବେ ବର୍ଷାର ପରିମାଣ ପୁଣି ବୃଦ୍ଧି ପାଇବ । ଏନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ଭୀଷଣ ବର୍ଷା ନେଇ ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ କନ୍ଧମାଳକୁ ରେଡ ଆଲର୍ଟ ଜାରି କରାଯାଇଛି । ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେ଼ଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାକୁ ହଳଦିଆ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।  

Advertisment