କନକ ବ୍ୟୁରୋ: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯିବ । ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ବୈଠକରେ ବିଭିନ୍ନ ଆନ୍ତଃରାଜ୍ୟ ବିବାଦ ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା । ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ , ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିସନର ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଏହି ବୈଠକରେ ସାମିଲ ହୋଇଥିଲେ।