କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି। ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷ କରି ୨୬ ତାରିଖ ପର୍ଯ୍ୟନ୍ତ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହା ସହ ଆଜି ପାଇଁ ମୋଟ୍‌ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି।