କନକ ବ୍ୟୁରୋ: ଗଭୀର ଅବପାତ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କୋଲକାତାର ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ଆଜି ୩ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୩ଟି ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର। ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।