ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବନକଲାଗି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ବନକଲାଗି ନୀତି କଣ ?
ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବନକଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ ।
ଅଧିକ ପଢନ୍ତୁ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ! ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/12/03/banakalagi-niti-2025-12-03-10-51-12.jpg)