କନକ ବ୍ୟୁରୋ : ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମଣ୍ଡିରେ ଚାଷୀମାନଙ୍କ ପାଇଁ ଖାଦ୍ୟ, ପାଣି ଓ ଟଏଲେଟର ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି । ଦଲାଲ ମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ନୂଆ ସରକାର ଗଠନର ଛଅ ମାସ ପୂରଣ ହେଉଛି । ଏହି ଅବସରରେ ଲୋକସେବା ଭବନରେ ଧାନ ସଂଗ୍ରହ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ପିଏମ୍‌ କିଷାନ ଓ ସିଏମ୍‌ କିଷାନ ସହିତ ୮୦୦ ଟଙ୍କା ଇନ୍‌ପୁଟ ସହାୟତାରେ ଧାନ କିଣା ବ୍ୟବସ୍ଥା ଚାଷୀଙ୍କ ସଶକ୍ତିକରଣ କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ବୋଲି ମତଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ବାରା ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହୋଇପାରିବେ । ଏଣୁ, ଧାନ ସଂଗ୍ରହ କାର୍ୟ୍ୟକ୍ରମକୁ  ସମ୍ପୂର୍ଣ୍ଣ ଭାବେ ଦକ୍ଷତାର ସହିତ ତ୍ରୁଟିଶୂନ୍ୟ ଭାବେ କାର୍ୟ୍ୟକାରୀ  କରାଯିବା ଆବଶ୍ୟକ।  କୌଣସି ପରିସ୍ଥିତିରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ହେବା ଉଚିତ୍‌ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।