କନକ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବୁଧବାର ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବୈଠକ ସହ ବାତ୍ୟା ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବାତ୍ୟାରେ ଜିରୋ କାଜୁଆଲିଟିକୁ ଗୁରୁତ୍ବ ଦେବା ସହ ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ବାତ୍ୟା ପରେ ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରିବା ଦିଗରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି । ଏହି ବୈଠକରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନେ ମଧ୍ୟ ଭିଡିଓ କଲ୍ ମାଧ୍ୟମରେ ଏହି ବୈଠକରେ ଯୋଡ଼ି ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ୩୦ ପ୍ରତିଶତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ଆଜି ଦିନ ୧୧ଟା ସୁଦ୍ଧା ୯୦ ପ୍ରତିଶତ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ବାତ୍ୟା ନେଇ ଭୟଭୀତ ନହେବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।