ନୀଳାଦ୍ରି ବିଜେ : ଜାଣନ୍ତୁ, କିପରି ସମ୍ପର୍ଣ୍ଣ ହୁଏ ସମସ୍ତ ରୀତିନୀତି ?

ଆଜି ନିଳାଦ୍ରୀ ବିଜେ : ମା ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ମହାପ୍ରଭୁ

ଭଗବାନ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ନଅ ଦିନ ଯାତ୍ରା ଶେଷ କରି ଦଶମୀ ତିଥିରେ ଶ୍ରୀମନ୍ଦିର ଅଭିମୁଖେ ଫେରନ୍ତି । ଆଉ ଏକାଦଶୀ ତିଥିରେ ଭକ୍ତଙ୍କୁ ଭଡ଼ଦାଣ୍ଡରେ ସୁନାବେଶରେ ଦର୍ଶନ ଦିଅନ୍ତି । ତା’ପରେ ଅଧରପଣା ନୀତିର ଆୟୋଜନ କରାଯାଇ ଆରମ୍ଭ ହିଏ ନୀଳାଦ୍ରୀ ବିଜେ ନୀତି।

ପରମ୍ପରା ଅନୁଯାୟୀ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନାଧିଷ୍ଠିତ ହୋଇଥାନ୍ତି । ଶାସ୍ତ୍ରରେ ଉଲ୍ଲେଖ ରହିଛି ଦ୍ଵାଦଶୀ ଦିନମହାପ୍ରଭୁ ନୀଳାଦ୍ରି ବିଜେ କରନ୍ତି, କିନ୍ତୁ ପ୍ରକୃତ ପକ୍ଷେ ଏକାଦଶୀ ଦିନ ସୁନାବେଶ, ଦ୍ଵାଦଶୀରେ ଅଧରପଣା ଓ ତ୍ରୋୟଦଶୀ ତିଥିରେ ନୀଳାଦ୍ରି ବିଜେ ହୋଇଥାଏ । ଏହି ପରମ୍ପରା ଦୀର୍ଘ ଅନେକ ବର୍ଷ ଧରି ଅନୁସୃତ ହୋଇ ଆସୁଅଛି। ନୀଳାଦ୍ରି ବିଜେ ପହଣ୍ଡି ବିଜେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଦଇତାପତି ନିଯୋଗ ସହ ଏ ସମ୍ବନ୍ଧରେ ଆଲୋଚନା କରାଯାଇ ପହଣ୍ଡି ହୋଇଥାଏ  ।

ନୀଳାଦ୍ରି ବିଜେ ଦିନ ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯାଇଥାଏ । ଏହାପରେ ଦର୍ଶବ ନିମିତ୍ତ କିଛି ସମୟ ଭକ୍ତମାନଙ୍କୁ ରଥ ଉପରୁ ଛଡା ଯାଇଥାଏ । ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ । ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ହସ୍ତରେ ଧରି ଦକ୍ଷିଣି ଘରକୁ ବିଜେ କରାଇଥାନ୍ତି । ତତ୍ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ , ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ । ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ ।

publive-image

ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ବଢିଥାଏ । ଜଗମୋହନଠାରେ ମଧ୍ୟ ଏହି ନୀତି ପାଳିତ ହୋଇଥାଏ । ସୂଚନାଯୋଗ୍ୟ ଯେ, ଗୁଣ୍ଡିଚା ମନ୍ଦିରଠାରେ ରଥ ଉପରୁ ଠାକୁରମାନେ ଗୁଣ୍ଡିଚା ଘର ରତ୍ନସିଂହାସନକୁ ପହଣ୍ଡି ବିଜେ କରିବା ସମୟରେ ରଥ ଉପରେ ଯେଉଁ ପ୍ରକାର ନୀତି ଅନୁସୃତ ହୋଇଥାଏ, ଠିକ୍ ସେହିପରି ସିଂହଦ୍ଵାରଠାରେ ନୀଳାଦ୍ରି ବିଜେ ପହଣ୍ଡିରେ ସମ ନୀତି ପାଳିତ ହୁଏ ।

publive-image

ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି । ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହୋଇଥାନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢାଇଥାନ୍ତି । ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ଵାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ଵାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ଵାର ଖୋଲିଯାଏ । ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ଵାର ନିକତରେ ବିଜେ କରିବା ସମୟରେ ଉକ୍ତ ଦ୍ଵାର ଭିତର ପଟୁ ବନ୍ଦ କରାଯାଇଥାଏ ।

publive-image

ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ଵାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ଵାରର ଅପରପାର୍ଶ୍ଵରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ଵାର ଫିଟିଥାଏ । ମହାପ୍ରଭୁ ପହଣ୍ଡି ବିଜେ ବିଜେରେ ଭିତର କାଠ ସମ୍ମୁଖସ୍ଥ ଭଣ୍ଡାର ଘରଠାରେ ପହଞ୍ଚିବା ପରେ ଗଇଁଠାଳ (ଋକ୍ମିଣୀ ବିବାହ କାଳର) ଫିଟେ ଓ ବନ୍ଦାପନା , ରସ ଗୋଲା ଭୋଗ ଇତ୍ୟାଦି ଭିତରଚ୍ଛ ମହାପାତ୍ରଙ୍କଦ୍ଵାରା ସମାହିତ ହୋଇଥାଏ । ଏହା ପରେ ଘସା, ବିଡିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥାନ୍ତି।  ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଏହି ଗୋଟିଏ ଦିନ ଶ୍ରୀମନ୍ଦିର ଭିତରେ ଜଗନ୍ନାଥ ମହାପ୍ରଭୁଙ୍କ ରସଗୋଲା ଭୋଗ ହୋଇଥାଏ । ଭିତରଚ୍ଛ ମହାପାତ୍ରଙ୍କ ନିଜସ୍ଵ ଗୃହରେ ଅତ୍ୟନ୍ତ ଶୁଦ୍ଧ ପୂତ ଭାବରେ ଏହି ରସଗୋଲା ତିଆରି ହୋଇଥାଏ । କଥିତ ଅଛି ଯେ, ମହାପ୍ରଭୁ ଲକ୍ଷ୍ମୀଦେବୀଙ୍କୁ ରସଗୋଲା ଖୁଆଇ ତାଙ୍କର ମାନ ଭଞ୍ଜନ କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe