କନକ ବ୍ୟୁରୋ : ଆଜି ରହିଛି ମହାପ୍ରଭୁଙ୍କର ଦୁଇଟି ବିଶେଷ ନୀତି । ଅମାବାସ୍ୟା ତିଥି ହୋଇଥିବାରୁ ଅମାବାସ୍ୟା ନାରାୟଣଙ୍କର ସାଗର ବିଜେ ନୀତି ସହିତ ରହିଛି ମହାପ୍ରଭୁଙ୍କ ଚିତାଲାଗି ନୀତି । ଶ୍ରାବଣ ମାସର ଚିତାଲାଗି ଅମାବାସ୍ୟା ତିଥିରେ ପରମ୍ପରା ଅନୁସାରେ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରୁ ସ୍ନାନପୂର୍ଣ୍ଣିମା ଦିନ ଖୋଲାଯାଇଥିବା ରତ୍ନ ଚିତାକୁ ଦଇତାପତିମାନେ ଆଜି ଲଗାଇଥାନ୍ତି । ଜଗନ୍ନାଥଙ୍କୁ ଶୁଭ୍ର ହୀରା ,ବଳଭଦ୍ରଙ୍କୁ ନୀଳା ଓ ସୁଭଦ୍ରାଙ୍କୁ ଦୁର୍ମୂଲ୍ୟ ପାନ୍ନା ଖଚିତ ରତ୍ନଚିତା ଲାଗି ହେବ ।

Advertisment

ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତା ଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।

ଏହି ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ । ଏହି ପ୍ରଥା ଶବର ପରମ୍ପରାରୁ ଆନୀତ ବୋଲି ବିଦିତ । ଏଥିରେ ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି । ସେଥି ପାଇଁ "ଗେଣ୍ଡେଇକଟା ଓଷା" ନାମରେ ମଧ୍ୟ ଜଣା । ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଅଞ୍ଚଳରେ ଏହି ପର୍ବକୁ "ଗେଣ୍ଡାକଟା ଅମାବାସ୍ୟା" କୁହାଯାଏ ।

ଏହା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଦିବାସୀମାନଙ୍କ ମଧ୍ୟରେ ଜନ୍ତୁଆଦିଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ପାଳିତ ପର୍ବମାନଙ୍କ ମଧ୍ୟରେ ଗୋଟିଏ । ସାଧାରଣତଃ ଚାଷୀମାନେ ବର୍ଷା ଋତୁ ସମୟରେ ଧାନ ଫସଲ କରିବା ସମୟରେ, ବିଲରେ ଗେଣ୍ଡା ଯୋଗୁଁ ଗୋଡ଼ କାଟି ହୋଇ କ୍ଷତି ହୋଇଥାଏ ଏଣୁ ଏହି ସମ୍ବାବନାକୁ ଏଡ଼େଇବା ନିମନ୍ତେ ଚିତଉ ପିଠାକୁ ସାରୁ ପତ୍ରରେ ରଖି ଗେଣ୍ଡାମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଜଳାଶ୍ରୟରେ ଭସାଯାଏ ।