ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । କହିଲେ, ଆଉ ରହିବନି ଚିକିତ୍ସା ପାଇଁ ଟଙ୍କା ଚିନ୍ତା,  କେବଳ କାର୍ଡ ଦେଖାଇଲେ ମିଳିବ ଚିକିତ୍ସା । 

188

କନକ ବ୍ୟୁରୋ : ମାଲକାନଗିରିରେ ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ରୂପରେ ଆସିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କରିଛନ୍ତି ନବୀନ । ଏହି ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ସହ କିଛି ହିତାଧିକାରୀଙ୍କୁ କାର୍ଡ ବାଣ୍ଟିଛନ୍ତି ନବୀନ । ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ଏହି ସ୍ମାର୍ଟ କାର୍ଡର ହିତାଧିକାରୀ ।ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ । ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ କାର୍ଡ ବାବଦରେ ଘୋଷଣା କରିଥିବା ବେଳେ ଆଜି ଏହାକୁ କାର୍ଯ୍ୟକାରୀ କରାଯାଇଛି । ଆଉ ଏହାର ଶୁଭାରମ୍ଭ ମାଲକାନଗିରିରୁ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କାର୍ଯ୍ୟକ୍ରମ ଅବସରରେ ନବୀନ କହିଛନ୍ତି, ୨୦୧୮ ଆମ ଗାଁ, ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା । ସେତେବେଳେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାଙ୍କ ଚିକିତ୍ସା ପାଇଁ ୧୦ ଲକ୍ଷ ଟଙ୍କା ବୃଦ୍ଧି କରିବାକୁ ମମତା ପଡିଆମୀ ପ୍ରସ୍ତାବ ଦେଇଥିଲେ । ସେତେବେଳେ ତାଙ୍କ ପ୍ରସ୍ତାବ ମୋତେ ବହୁତ ଭଲ ଲାଗିଥିଲା । ତାପରେ ମହିଳାଙ୍କ ଚିକତ୍ସା ପାଇଁ ୧୦ ଲକ୍ଷ ଟଙ୍କା ବୃଦ୍ଧି କରିଥିଲୁ । ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ । ସେପ୍ଟେମ୍ବର ପହିଲାରୁ ଏହି କାର୍ଡ ଲାଗୁ ହେବ  । ଏହି ନୂଆ ବ୍ୟବସ୍ଥାରେ ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ ।  ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ।

ସ୍ୱାସ୍ଥ୍ୟ ହିଁ ସମ୍ପଦ । ପରିବାରର କେହି ଅସୁସ୍ଥ ହୋଇ ରୋଗରେ ପଡିଗଲେ ଚିନ୍ତା ବଢିଯାଏ । କାରଣ ଚିକିତ୍ସା ପାଇଁ ଟଙ୍କା ଚିନ୍ତା ବଢାଇଥାଏ । ଏଥିପାଇଁ କିଏ ଜମି ବିକେ, କିଏ ପୁଣି ସୁନା ଗହଣା ବନ୍ଧା ପକାଏ । ଏପରିକି ଚିକିତ୍ସା ଖର୍ଚ୍ଚ  ପାଇଁ କେହି କେହି ପିଲାଙ୍କର ପାଠପଢା ମଧ୍ୟ କରିଥାନ୍ତି । ଆଉ ଏକଥା ଜାଣିବା ପରେ ମୋତେ ବହୁତ ଦୁଃଖ ଲାଗିଲା । କିନ୍ତୁ ଏବେ ଏହି ସ୍ମାର୍ଟ କାର୍ଡ ଦୁଃଖ ଲାଘବ କରିବ । ରାଜ୍ୟବାସୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଟଙ୍କା ଖର୍ଚ୍ଚ କରୁଛନ୍ତି  । ତେଣୁ ଚିକିତ୍ସା ବାବଦ ଟଙ୍କାକୁ ସଞ୍ଚୟ କରିବା ସହ ପିଲାଙ୍କ ପାଠପଢା ଓ ଘର ପିଛା ଖର୍ଚ୍ଚ କରିପାରିବେ । ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ, ସେ ଚାଷୀ ହେଉ କି ମୂଲିଆ ହେଉ କି ଛୋଟ ଦୋକାନୀ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିତ୍ସା ପାଇଁ ଟଙ୍କା କେବେ  ବାଧକ ନହେଉ । ପ୍ରତି ପରିବାରର ଉନ୍ନତିରେ ରାଜ୍ୟର ଉନ୍ନତି ବୋଲି ନବୀନ କହିଛନ୍ତି ।