୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତ ରାଉତ : କେମିତି ବେଆଇନ ସମ୍ପତ୍ତି ଠୁଳ କରିଥିଲେ ? ତଦନ୍ତ ଅଧିକାରୀ କରିବେ ଜେରା

316

କନକ ବ୍ୟୁରୋ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା । ଗିରଫ ହୋଇଥିବା ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଆଜିଠୁ ଆରମ୍ଭ ହେବ ଜେରା । ୫ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ । ରିମାଣ୍ଡ ସମୟରେ ପ୍ରଶାନ୍ତ କିଭଳି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କଲେ ସେ ନେଇ ଅଧିକ ଖୋଳତାଡ଼ କରିବ ଭିଜିଲାନ୍ସ । ପୂର୍ବରୁ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ । ପ୍ରଶାନ୍ତ କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ । ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ । ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ତାଙ୍କଠାରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ସହ ମୋଟ ୫ କୋଟି ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି । ଗତ ସପ୍ତାହରେ ଶୁକ୍ରବାର ସକାଳେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ କାନନବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା ।

ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ କାନନବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା । ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ । ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ। ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ । କୋଟି କୋଟି ଟଙ୍କା ଜବତ ହେବା ପ୍ରଚାର ହେବାପରେ ସ୍ଥାନୀୟ ବାସିନ୍ଦା ଦେଖିବା ଲାଗି ଘର ବାହାରକୁ ମଧ୍ୟ ଚାଲି ଆସିଥିଲେ ।