ପଶ୍ଚିମମୁହାଁ ୱେଲମାର୍କ ଲୋ-ପ୍ରେସର : ୨୪ଘଂଟା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ରହିବ ଲଘୁଚାପର ପ୍ରଭାବ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

3,662

କନକ ବ୍ୟୁରୋ : ପଶ୍ଚିମ ମୁହାଁ ୱେଲମାର୍କ ଲୋ-ପ୍ରେସର । ଆସନ୍ତା ୨୪ଘଂଟା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଲଘୁଚାପର ପ୍ରଭାବ ରହିବ । ଏହାର ପ୍ରଭାବରେ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି ।

ଆସନ୍ତାକାଲି ଯାଏ ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଏଣୁ ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । କେନ୍ଦ୍ର କହିଛି ଯେ ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୩୧ ତାରିଖ ଦିନ ମଧ୍ୟ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।