ଡ଼ିପ୍ ଡ଼ିପ୍ରେସନର ରୂପ ନେଲା ଅବପାତ : ପ୍ରଭାବରେ ଆଜି ବି ପ୍ରବଳ ବର୍ଷିବ, ୫ ଜିଲ୍ଳାକୁ ରେଡ଼ ୱାର୍ଣ୍ଣିଂ

389

କନକ ବ୍ୟୁରୋ : ଘନୀଭୂତ ହୋଇ ତୀବ୍ର ଅବପାତରେ ପରିଣତ ହୋଇଛି ଅବପାତ  । ଆଜି ସକାଳ ୫ଟା ୩୦ରୁ ୬ଟା ୩୦ ମଧ୍ୟରେ ଏହା ଚାନ୍ଦବାଲି ଦେଇ ସ୍ଥଳଭାଗ ଅତିକ୍ରମ କରିଛି  । ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରି ଉତର ଓଡ଼ିଶା ଅତିକ୍ରମ କରିବ  । ୪୮ ଘଂଟା ମଧ୍ୟରେ ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବାର ସମ୍ଭାବନା ରହିଛି  । ପରବର୍ତ୍ତୀ ୨୪ ଘଂଟାରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ  ।

ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଜି ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ଜିଲ୍ଲାପାଳମାନଙ୍କୁ ୨୪ ଘଂଟିଆ କଂଟ୍ରୋଲ ରୁମ୍ ଖୋଲିବା ସହ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି  । ଆଜି ଉପକୂଳ ଓଡ଼ିଶାରେ ଘଂଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବାକୁ ଥିବାରୁ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଆସନ୍ତାକାଲି ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି  ।

ଆଜି ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି  । ରେଡ୍ ୱାର୍ଣ୍ଣି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ  । ସେହିପରି ୭ ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି  । ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖେର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଂଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।