୩୦ ତାରିଖରେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଲେ ଏସଆରସି ।

319

କନକ ବ୍ୟୁରୋ: ଆସନ୍ତା ୩୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାଷ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ସମେତ ୬ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନାଗିରି, କୋରାପୁଟ, ଓ ରାୟଗଡ଼ାର କେତେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି ।

ସୂଚନାଯୋଗ୍ୟ ଯେ, ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ଆଡକୁ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏବେ ଶୁଷ୍କ ବାୟୁ ସାରା ରାଜ୍ୟରେ ପ୍ରବାହିତ ହେଉଛି । ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନ ବିଶେଷକରି କନ୍ଧମାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ କୁହୁଡି ଅନୁଭୂବ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ଦକ୍ଷିଣ ଓଡ଼ିଶାର ଗଜପତି, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ ଅବା ଦୁଇଟି ସ୍ଥାନରେ ମଧ୍ୟ କୁହୁଡି ଅନୁଭୂତ ହେବ । ତେବେ ରାଜ୍ୟରେ ବୌଦ୍ଧ ଜିଲ୍ଲାରେ ସର୍ବାଧିକ ୩୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ଜିଲ୍ଲାରେ ସର୍ବନିମ୍ନ ୧୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।