କନକ ବ୍ୟୁରୋ : ଆଜି ଗଭୀର ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ପଶ୍ଚିମ-କେନ୍ଦ୍ରୀୟ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟର ଦକ୍ଷିଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି । ବିଶେଷ କରି ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି , ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଯାଇଛି ।
ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହିସବୁ ଅଞ୍ଚଳରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାୟଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ପୁରୀ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ରାଜ୍ୟରେ ୨୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି ।
ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନ୍ୟପଟେ ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୩୧ ତାରିଖରେ ଏହା ଅବପାତରେ ପରିଣତ ହେବ । ଫଳରେ ରାଜ୍ୟରେ ସପ୍ତାହବ୍ୟାପି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି ।