ଆଜିଠୁ ପ୍ରବଳ ବର୍ଷିବ: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

38,540

କନକ ବ୍ୟୁରୋ: ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତା ୨୪ ତାରିଖ ଯାଏଁ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଗାଣ ବର୍ଷା ଯୋଗୁ ତଳିଆ ଅଂଚଳରେ ପାଣି ଜମି ରହିବାକୁ ଥିବାରୁ ସମସ୍ୟା ଉପୁଜିପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୁସ୍ଖଳନ ହୋଇପାରେ । ଏଥିପାଇଁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।