ରାଜ୍ୟର ପ୍ରାଥମିକ ଶିକ୍ଷକଙ୍କୁ ମିଳିବ ପଦୋନ୍ନତି : ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

3,662

କନକ ବ୍ୟୁରୋ : ରାଜ୍ୟର ପ୍ରାଥମିକ ଶିକ୍ଷକଙ୍କୁ ମିଳିବ ପଦୋନ୍ନତି । ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍ କରାଯାଇଛି । ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-3 କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।