କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୨୪ ତାରିଖ ବେଳକୁ ଆନ୍ଧ୍ରପ୍ରଦେଶ ଉପକୂଳରେ ଅବସ୍ଥାପିତ ହେବ। ପ୍ରଭାବରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ ଓ କର୍ଣ୍ଣାଟକରେ ପ୍ରବଳ ବର୍ଷା ହେବ। ଦକ୍ଷିଣ ଭାରତର ସ୍ଥାନେ ସ୍ଥାନେ ଅତିରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଲାଗି ଆନ୍ଧ୍ରପ୍ରଦେଶରେ ରେଡ୍ ଓ ୨୩ ଓ ୨୪ ତାରିଖରେ ଓଡ଼ିଶା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
୨୩ ତାରିଖରେ କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ତେଣୁ ଦୁଇ ରାଜ୍ୟ ପାଇଁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟରେ ଓଡ଼ିଶା ସମେତ କୋଙ୍କଣ, ଗୋଆ, ତେଲେଙ୍ଗାନା, ଆଭ୍ୟନ୍ତରୀଣ କର୍ଣ୍ଣାଟକ ଓ କେରଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୨୪ ତାରିଖରେ ଓଡ଼ିଶା ସମେତ କର୍ଣ୍ଣାଟକ, ଛତିଶଗଡ଼, ଝାଡ଼ଖଣ୍ଡ, ଗୋଆ, ଆନ୍ଧ୍ରପ୍ରଦେଶ ଉପକୂଳ, ତେଲେଙ୍ଗାନାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ କୁହାଯାଇଛି। ୨୫ ତାରିଖ ବେଳକୁ ଓଡ଼ିଶାରେ ସେମିତି ବର୍ଷା ନ ଥିବା ପାଣିପାଗ ବିଭାଗ କହିଛି।
ଅନ୍ୟପକ୍ଷରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଓ ଗୁରୁବାର ପାଇଁ ୧୫ ଜିଲ୍ଲାକୁ ସତର୍କ କରାଯାଇଛି। ୨୩ ତାରିଖ ପୂର୍ବାହ୍ନରୁ ୨୪ ତାରିଖ ମଧ୍ୟାହ୍ନ ମଧ୍ୟରେ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ଓ ନୟାଗଡ଼, ଖୋର୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ୨୪ ତାରିଖ ମଧ୍ୟାହ୍ନରୁ ୨୫ ତାରିଖ ପୂର୍ବାହ୍ନ ମଧ୍ୟରେ ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଧା, କଟକରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/07/SEA.jpg)