ରାଜ୍ୟରେ ଆଉ ୪ ଦିନ ବର୍ଷା: ୨ରୁ ୪ ଯାଏ ପ୍ରବଳ ବର୍ଷିବ; ଆଜି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

7,179

କନକ ବ୍ୟୁରୋ: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ  ରାଜ୍ୟରେ ବର୍ଷା ଲାଗିରହିବ। ୨ ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଆସନ୍ତା ୪ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ରାଜ୍ୟର କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

୨ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଗଞ୍ଜାମରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୩ ତାରିଖ ଦିନ ଗଞ୍ଜାମ, କନ୍ଧମାଳ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଖୋର୍ଧା, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସୂଚନା ମିଳିଛି।

୪ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଓ ସୋନପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, କଟକ, ବାଲେଶ୍ବର, ଭଦ୍ରକ, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଏ ସମସ୍ତ ଅଞ୍ଚଳରେ ଆସନ୍ତା ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିବା ସହ ମଧ୍ୟମ ଧରଣର ବର୍ଷା ହେବ।