ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗର ୟେଲୋ ୱାଣ୍ଣିଂ ଜାରି

ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ଆଶଙ୍କା

423

କନକ ବ୍ୟୁରୋ : ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଶନିବାର ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ବି ହୋଇଯାଇଛି । ରାଜ୍ୟରେ ଆଜି ମଧ୍ୟ ବର୍ଷା ଜାରି ରହିବ । ତେବେ ୮ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଅନ୍ୟପଟେ ମୌସୁମୀ ଟ୍ରଫ୍‌ ଏବେ ଫିରୋଜପୁର, ଦିଲ୍ଲୀ, ଗ୍ବାଲିଅର୍‌, ସିଧି ଓ ଝାରସୁଗୁଡ଼ା ହୋଇ ଆଜି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରର ମଧ୍ୟ ଦେଇ ଗତି କରୁଛି । ଫଳରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ମଧ୍ୟ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଥିବା ବେଳେ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ କିଛି କିଛି ସ୍ଥାନରେ ମୌସୁମୀଜନିତ ବର୍ଷା ହୋଇପାରେ। ଆସନ୍ତାକାଲି ଭୁବନେଶ୍ବର ଓ ଏହା ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିବ। ଏଥିସହ ବର୍ଷା ବି ହେବାର ସମ୍ଭାବନା ରହିଛି ।