ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସମ୍ଭାବନା : ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

479

କନକ ବ୍ୟୁରୋ : ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ର କହିଛି ଯେ ୨୩ତାରିଖ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଓଡ଼ିଶାରେ ଏବେଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ଧୀରେଧୀରେ ବଢ଼ିବ। ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖ ଦିନ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥା‌ନରେ ହାଲକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି ।

କେନ୍ଦ୍ରର ସୂଚନା ମୁତାବକ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ରାଜ୍ୟର ବାକି ଜିଲ୍ଲାରେ ମଧ୍ୟ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୧ ତାରିଖ ଦିନ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ୨୨ ତାରିଖ ଦିନ କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୩ ତାରିଖ ଦିନ ମଧ୍ୟ ‌ରାଜ୍ୟରେ ବର୍ଷା ଜାରି ରହିବ । ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ୨୦ରୁ ୨୩ ତାରିଖ ୪ ଦିନ ପର୍ଯ୍ୟନ୍ତ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ସପ୍ତାହେ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଚାଷ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ପ୍ରଥମ ଲଘୁଚାପ କ୍ଷେତ୍ର ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ୨୧ରେ ସୃଷ୍ଟି ହେବ । ୨ଦିନ ସମୁଦ୍ରରେ ଅଧିକ ଘନୀଭୂତ ହେବା ପରେ ଅବପାତର ପରିଣତ ହୋଇପାରେ । ୨୩ ତାରିଖରେ ସମ୍ଭବତଃ ଉତ୍ତର ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗକୁ ଯିବ । ଆଜି ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା, ୨୧ ତାରିଖରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଆଦି ସମଗ୍ର ଉପକୂଳରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ୨୨ ଓ ୨୩ତାରିଖରେ ସେହିପରି ବର୍ଷା ହେବ ।