କନକ ବ୍ୟୁରୋ : ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି । ଏହି ଅବସରରେ ମହାପ୍ରଭୁଙ୍କୁ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର, ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହେବ । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହେବ । ଆଜି  ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ  ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ । ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ  ରୁପା ପିଙ୍ଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିବେ । ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସମ୍ପନ୍ନ ହେବ । ଏଥିପୂର୍ବରୁ  ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ । 

Advertisment

ଗୋପନୀୟତା ରକ୍ଷା କରି ଦଇତାପତି ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳିରେ ଶ୍ରୀଜିଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ ।  ଏହି ଖଳିକୁ ଶୁଦ୍ଧ ସୁଆରମାନେ ନିଜନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି । ଏହି ଖଳି ବିଜେ ପାଇଁ ଶ୍ରୀମନ୍ଦିରରୁ ଘଣ୍ଟ, ଛତା ସହ ଡକାରା ଯାଇଥାଏ । ବିଜେ କାହାଳି, ବଜୟନ୍ତ୍ରୀ, ଘଣ୍ଟଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ ଶ୍ରୀମନ୍ଦିରକୁ ବିଜେ କରାଇବେ । ଏହା ପୂର୍ବରୁ ଏହି ଖଳିକୁ ଶୁଦ୍ଧ ସୁଆରଙ୍କ ବାସ ଭବନରେ ଖଳି ହାଣ୍ଡିକୁ ମହିଳାମାନେ ବନ୍ଦାପନା କରିବେ । ବିଜେ କାହାଳି ବାଜିବା ପରେ ବରକନ୍ଦାଜଙ୍କ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ  କରିବ । ଶୁଦ୍ଧସୁଆର ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ଆଜି ବିଳମ୍ବିତ ରାତିରେ ଏହି ଖଳିକୁ ଶ୍ରୀବିଗ୍ରହଙ୍କୁ ଦଇତାପତିମାନେ ଲାଗି କରିବେ ।