କାଳବୈଶାଖୀ ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ : ବିଜୁଳି ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ

1,392

କନକ ବ୍ୟୁରୋ : ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାରୁ ଧୀରେଧୀରେ ରାଜ୍ୟରେ ପାରଦ ତଳକୁ ଖସୁଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟ‌ର ବିଭିନ୍ନ ସ୍ଥାନରେ ‌କାଳବୈଶାଖୀ ବର୍ଷା ହେବାର ସୂଚନା ରହିଛି । ରାଜ୍ୟର ୧୮ ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାରେ ୟେଲୋ-ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି। ତେବେ ଏଗୁଡ଼ିକ ମଧ୍ୟରୁ ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୫, ୬ ଓ ୭ ତାରିଖ ଦିନ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୫ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ଏବଂ ଝଡ଼ବର୍ଷା ହେବ । ସେହିପରି ୬ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ। ୭ ତାରିଖ ଆଡ଼କୁ ପବନର ବେଗ ବଢ଼ିବ। ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଖୁବ୍ ଅଧିକ ରହିବ । ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳରେ ଅପରାହ୍‌ଣ ଆଡ଼କୁ ବର୍ଷା ହେବା ସହ ତାପମାତ୍ରା ୩୮ ଡିଗ୍ରି ପାଖାପାଖି ରହିବ।