ବିଜୁ ସ୍ମାର୍ଟ ହେଲଥ କାର୍ଡରେ ଯୋଡି ହେଲା ନୂଆପଡା । ନବୀନ କହିଲେ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ, ଜାଣନ୍ତୁ ଏହି କାର୍ଡରେ କଣ ମିଳିବ ସୁବିଧା?

118

କନକ ବ୍ୟୁରୋ : ନୂଆପଡବାସୀଙ୍କ ପାଇଁ ନବୀନଙ୍କ ଉପହାର । ଜିଲ୍ଲାବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ୪୭୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ନବୀନ । ଭିସିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ନବୀନ କହିଛନ୍ତି, ନୂଆପଡା ଏବେ ନୂଆ ପରିଚୟ ନେଇ ଆଗକୁ ବଢୁଛି । ନୂଆପଡାର ଚାଷୀ ଏହି ନୂଆ ପରିଚୟର ଆଧାର । ନୂଆପଡାରେ ଏବେ ପ୍ରବଳ ପରିବା ଚାଷ ହେଉଛି ଏବଂ ଏଠାକାର ଚାଷୀ ଅତି ଉନ୍ନତ ପ୍ରଣାଳୀରେ ଚାଷ କାର୍ଯ୍ୟ କରୁଛନ୍ତି ।

ଏହାସହ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଆରମ୍ଭ କରି ନବୀନ କହିଛନ୍ତି, ନୂଆପଡାର ୧ ଲକ୍ଷ ୭୨ ହଜାରରୁ ଅଧିକ ଲୋକ ସ୍ମାର୍ଟ ହେଲଥ କାର୍ଡ ପାଇବେ । ଯେଉଁଥିପାଇଁ ମୁଁ ବହୁତ ଖୁସି । ଏହାସହ ଏହି ସ୍ମାର୍ଟ ହେଲଥ କାର୍ଡକୁ ନୂଆ ରୂପରେ ଅଣାଯାଇଛି । ରାଜ୍ୟର୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ । ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ । ଏହି ନୂଆ ବ୍ୟବସ୍ଥାରେ ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ । ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ।

ସ୍ୱାସ୍ଥ୍ୟ ହିଁ ସମ୍ପଦ । ପରିବାରର କେହି ଅସୁସ୍ଥ ହୋଇ ରୋଗରେ ପଡିଗଲେ ଚିନ୍ତା ବଢିଯାଏ । କାରଣ ଚିକିତ୍ସା ପାଇଁ ଟଙ୍କା ଚିନ୍ତା ବଢାଇଥାଏ । ଏଥିପାଇଁ କିଏ ଜମି ବିକେ, କିଏ ପୁଣି ସୁନା ଗହଣା ବନ୍ଧା ପକାଏ । ଏପରିକି ଚିକିତ୍ସା ଖର୍ଚ୍ଚ ପାଇଁ କେହି କେହି ପିଲାଙ୍କର ପାଠପଢା ମଧ୍ୟ କରିଥାନ୍ତି । ଆଉ ଏକଥା ଜାଣିବା ପରେ ମୋତେ ବହୁତ ଦୁଃଖ ଲାଗିଲା । କିନ୍ତୁ ଏବେ ଏହି ସ୍ମାର୍ଟ କାର୍ଡ ଦୁଃଖ ଲାଘବ କରିବ । ରାଜ୍ୟବାସୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଟଙ୍କା ଖର୍ଚ୍ଚ କରୁଛନ୍ତି । ତେଣୁ ଚିକିତ୍ସା ବାବଦ ଟଙ୍କାକୁ ସଞ୍ଚୟ କରିବା ସହ ପିଲାଙ୍କ ପାଠପଢା ଓ ଘର ପିଛା ଖର୍ଚ୍ଚ କରିପାରିବେ । ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ, ସେ ଚାଷୀ ହେଉ କି ମୂଲିଆ ହେଉ କି ଛୋଟ ଦୋକାନୀ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନହେଉ । ପ୍ରତି ପରିବାରର ଉନ୍ନତିରେ ରାଜ୍ୟର ଉନ୍ନତି ବୋଲି ନବୀନ କହିଛନ୍ତି ।