ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ : ଜାଣନ୍ତୁ କ’ଣ ରହିଛି ହାତୀ ବେଶର ରହସ୍ୟ …

165

କନକ ବ୍ୟୁରୋ: ଆଜି ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏହି ଉପଲକ୍ଷେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଅନ୍ୟାନ୍ୟ ନୀତି ଶେଷ ହୋଇଛି । ସ୍ନାନ କାର୍ଯ୍ୟ ପାଇଁ ଶ୍ରୀମନ୍ଦିର ସ୍ନାନମଣ୍ଡପ ସଜେଇ ହୋଇଛି । ମହାପ୍ରଭୁ ଶ୍ରୀମନ୍ଦିର ପରିସର ସୁନା କୂଅର ୧୦୮ ଗରା ଜଳରେ ସ୍ନାନ କରିବାର ପରମ୍ପରା ରହିଛି । କରୋନା କଟକଣା ଭିତରେ ସ୍ନାନଯାତ୍ରା ସେବା କାର୍ଯ୍ୟ ପାଇଁ ସେବକଙ୍କୁ ନିର୍ଦ୍ଦେଶ ରହିଛି । ସେପଟେ ଚଳିତବର୍ଷ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ନିର୍ଘଣ୍ଟ ଅନୁଯାୟୀ, ରାତି ଗୋଟାଏରୁ ଭୋର ୪ଟା ମଧ୍ୟରେ ପହଣ୍ଡି ଆରମ୍ଭ ହୋଇଛି । ଦିନ ୧୧ଟା ରୁ ହାତୀବେଶ ଆରମ୍ଭ ହୋଇ ଓ ୧୨ଟା ଭିତରେ ବେଶ ଶେଷ ହୋଇ ହାତୀ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ରହିଛି । ତାହା ହେଲା, ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ । ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ଧାରଣ କରିଥିଲେ । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।