ଏ ବନ୍ଧନ ସେହ୍ନର, ପ୍ରେମର… ଭାଇ ଭଉଣୀର : ରାକ୍ଷୀ ପୂର୍ଣ୍ଣିମାର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା

252

କନକ ବ୍ୟୁରୋ : ରାକ୍ଷୀ ପୂର୍ଣ୍ଣିମା…ଏ ବନ୍ଧନ ସେହ୍ନର, ପ୍ରେମର… ଭାଇ ଭଉଣୀର ।  ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।

ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।

ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି । ବ୍ରାହ୍ମଣମାନେ ଏହି ଦିନ ମନ୍ତୁରା ପଇତା ମଧ୍ୟ ପ୍ରଦାନ କରିଥାନ୍ତି, ଏହି ପଇତା ପିନ୍ଧିଲେ ବ୍ରହ୍ମରାକ୍ଷସ କବଳରୁ ମୁକ୍ତି ମିଳେ ବୋଲି ମଧ୍ୟ ବିଶ୍ୱାସ ରହିଛି ।