କୋଟିଆ ପଞ୍ଚାୟତରେ ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ ମୁଁ ଖୁବଶୀଘ୍ର ଯିବି କୋଟିଆ ।  

137

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଞ୍ଚଳର କୋଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି । ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ  ହାଇ ଲେଭଲ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ୨୦୧୮ରେ କୋଟିଆ ପଞ୍ଚାୟତର ବିକାଶ ପାଇଁ ୧୫୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଖୁବଶୀଘ୍ର କୋଟିଆ ଅଞ୍ଚଳକୁ ଗସ୍ତ କରି ଲୋକମାନଙ୍କୁ ଭେଟିବେ । କୋଟିଆ ଅଞ୍ଚଳକୁ ଏକ ଆଦର୍ଶ ପଞ୍ଚାୟତ ଭାବରେ ଗଠନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଟିଆ ପଞ୍ଚାୟତରେ ଶିକ୍ଷା, ସ୍ୱାସ୍ଥ୍ୟ, ଯୋଗାଯୋଗ, ପିଇବା ପାଣି, ବିଜୁଳି ଆଦି ସବୁ ସୁବିଧାର ବିକାଶ କରାଯାଇଛି ।  ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା ଯୋଗାଇ ଦିଆଯାଉଛି। ଜୀବନଜୀବିକା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମାଲକାନଗିରିରୁ ମୟୁରଭଂଜ, କୋରାପୁଟରୁ କଟକ ସବୁ ଅଞ୍ଚଳର ବିକାଶ ପାଇଁ ସେ କାମ କରୁଛନ୍ତି । ବିକାଶର ସୁଫଳ ପ୍ରତି ପରିବାର ଓ ରାଜ୍ୟର ସବୁ କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ କାମ କରୁଛୁ ବୋଲି ସେ କହିଥିଲେ ।

ଏହି କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ସଂଯୋଜନା କରିଥିଲେ। କୋରାପୁଟ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । କୋଟିଆ ଅଞ୍ଚଳର ବିକାଶ ଉପରେ ଏକ ସ୍ୱତନ୍ତ୍ର ବୃତ୍ତ ଚିତ୍ର ଏହି ଅବସରରେ ପ୍ରଦର୍ଶନ କରାଯାଇଥିଲା। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅର୍ଥ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ ।