କନକ ବ୍ୟୁରୋ: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ପରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ବୋଲି କହିବା ସହିତ ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

Advertisment

ଅନ୍ୟପଟେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ୍ କରି ନିଜର ଶୋକବ୍ୟକ୍ତ କରିଛନ୍ତି । ସେ କହିଛନ୍ତି, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଦକ୍ଷ, ବିରଳ ଓ ଅନୁଭବୀ ରାଜନୀତିଜ୍ଞଙ୍କୁ ହରାଇଲା । ଏଥିସହିତ ରାଜ୍ୟର ବିକାଶ ବିଶେଷ ଭାବରେ ଜନଜାତିଙ୍କ ପାଇଁ ତାଙ୍କର ବିଶେଷ ଅବଦାନ ଚିରସ୍ମରଣୀୟ ହୋଇ ରହିବ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି ।

ସେହିପରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ମଧ୍ୟ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ।