କନକ ବ୍ୟୁରୋ : ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି । କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶ ପାଇଁ ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କକୁ ପ୍ରତିଦିନ ବିଶ୍ବର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକ ଆସିଥାନ୍ତି । ତେଣୁ କୋଣାର୍କ ଅଞ୍ଚଳରେ ଭିତ୍ତି ଭୂମି ବିକାଶକୁ ଅନ୍ତର୍ଜାତୀୟମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା । ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୧ ଦିନ ଭିତରେ ଦେଇପାରିବେ ।

Advertisment

ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି । ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଲା, କୋଣାର୍କ ସୂର୍ଯ୍ୟ ମନ୍ଦିରର ଗରିମାର ସୁରକ୍ଷା, ପର୍ଯ୍ୟଟକ ମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀ ମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ୟ୍ୟଟନ ଅର୍ଥନୀତିର ବିକାଶ। କୋଣାର୍କ ମନ୍ଦିରର ପାରିପାର୍ଶିକ ଅଞ୍ଚଳର ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ବିତ କରିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି ।

ସାଢ଼େ ତିନି କିଲୋମିଟର ବାହ୍ୟ ରିଙ୍ଗରୋଡକୁ ଛଅ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବା ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ଯ୍ୟନ୍ତ ପଏଣ୍ଟର ବିକାଶ କରାଯିବ। ଫେରିବାଲା ମାନଙ୍କୁ ପୁନଃ ଥଇଥାନ କରାଯିବ । ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ ଲ୍ୟାଣ୍ଡସ୍କାପିଂ କରାଯିବ ।

ପ୍ରବେଶସ୍ଥଳରେ ପର୍ୟ୍ୟଟକ ମାନଙ୍କୁ ସ୍ବାଗତ କରିବା ପାଇଁ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ । ତା ସହିତ ଗାଡିମଟର ପାର୍କିଂ ପାଇଁ ମଲ୍ଟି ମଡେଲ ହବ୍‌ ନିର୍ମାଣ କରାଯିବ। କୋଣାର୍କ ମୁକ୍ତାକାଶ ରଂଗମଞ୍ଚର ପୁନଃବିନ୍ୟାସ କରାଯିବ। ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀମାନଙ୍କ ପାଇଁ ସ୍ବତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ।

କୋଣାର୍କ ପାଇଁ ହୋଇଥିବା ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ବସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ । ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।