ମା ସମଲେଶ୍ୱରୀ ମନ୍ଦିର ପାଇଁ ସରକାରଙ୍କ ବଡ ଘୋଷଣା । ସମଲେଶ୍ୱରୀ ମନ୍ଦିରର ବିକାଶ ପାଇଁ ଖର୍ଚ୍ଚ ହେବ ୨୦୦ କୋଟି

219

କନକ ବ୍ୟୁରୋ : ପୁରୀର ଶ୍ରୀଜଗନ୍ନାଥ ଓ ଭୁବନେଶ୍ବରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରେ ୫-ଟି ଉପକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବୀ ପୀଠ ସମ୍ବଲପୁରର ମା ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଏ ସଂପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା ।

ମା ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର ‘ସମଲେଇ’ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ୱରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ। ଏହି ଯୋଜନାରେ ମାଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ୟ୍ୟଟକ ଓ ଭକ୍ତ ମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ୟ୍ୟ କରିବ।

୧. ମା ଙ୍କ ମନ୍ଦିରର ସୁରକ୍ଷା ଓ ବିକାଶ
ମାଙ୍କ ମନ୍ଦିର ଅଞ୍ଚଳ ୧୨ ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମାଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜୀରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ । ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ କରାଯିବ । ଭକ୍ତମାନେ ପୂର୍ବ ଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ୱାର ଦେଇ ବାହାରକୁ ବାହାରିବେ ।

୨. ଐତିହ୍ୟ କରିଡ଼ର
ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ । ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।

୩. ଯାତ୍ରୀ ସୁବିଧା
ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ବତନ୍ତ୍ର ଭେଣ୍ଡିଂ ଜୋନ, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ । ତାସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବଧ ହେବ ।

୪. ସେବାୟତ ପରିବାର ପାଇଁ ବାସଗୃହ

ମନ୍ଦିର ନିକଟରେ ରହୁଥିବା ସେବାୟତ ମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧା ର ବିକାଶ କରାଯିବ ।

୫. ମନ୍ଦିର ଓ ମହାନଦୀ ସଂଯୋଗ ରାସ୍ତା
ମାଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି ମନ୍ଦିରରୁ ମହାନଦୀ ଘାଟକୁ ସୁବିଧାରେ ଯାଇପାରିବେ, ସେଥିପାଇଁ ୩୦ ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ।

୬. ମହାନଦୀ ଆଳତୀ
ଉପରୋକ୍ତ ପାଦଚଲା ରାସ୍ତାର ମଧ୍ୟ ଭାଗରେ ଏକ ୩୦ ମିଟର ବିଶିଷ୍ଟ ଡେକ ନିର୍ମାଣ କରାଯିବ, ଯେଉଁଠାରୁ କି ଉଭୟ ମହାନଦୀ ଓ ମାଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ। ସେଠାରେ ପ୍ରତିଦିନ ମହାନଦୀ ଆଳତୀ ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ଦେବ ।

୭. ରିଙ୍ଗ ରୋଡ ଓ ନଦୀ କୂଳର ବିକାଶ
ବର୍ତ୍ତମାନର ରିଙ୍ଗ ରୋଡକୁ ଚଉଡା କରାଯିବ ଏବଂ ସେଥିରେ ସ୍ୱତନ୍ତ୍ର ଭାବରେ ନଦୀ କୂଳେ କୂଳେ ଚଲାପଥ ଓ ଅବସର ସୁବିଧା ରହିବ । ନଦୀ କୂଳର ଯୋଜନାବଦ୍ଧ ଭାବରେ ବିକାଶ କରାଯିବ ଏବଂ ଲୋକମାନେ ଯେପରି ସୁବିଧାରେ ସେମାନଙ୍କର ପରମ୍ପରା ଓ ରୀତିନୀତି ପାଳନ କରିପାରିବେ, ସେଥିପାଇଁ ପ୍ଲାଟଫର୍ମର ବ୍ୟବସ୍ଥା କରାଯିବ । ତାସହିତ ପର୍ଯ୍ୟଟକ ମାନଙ୍କୁ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ ପାଭିଲିୟନ, ପ୍ଲାଜା ଓ ଡେକ ଆଦି ନିର୍ମାଣ କରାଯିବ । ପୁରୁଣା ଦିନ ଭଳି ମହାନଦୀରୁ ମନ୍ଦିର ସ୍ପଷ୍ଟ ଦେଖାଯିବ।

୯. ହ୍ରଦ କୂଳର ବିକାଶ
ଏହି ପ୍ରକଳ୍ପ ଅଧୀନରେ ୨୨ ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ ୫ ଏମଏଲଡି ସ୍ୱେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବ । ଏହାସହିତ ସେଠାରେ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ ଫୁଡ ପାର୍କ, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଙ୍ଗମଞ୍ଚର ବ୍ୟବସ୍ଥା ରହିବ । ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ ସାମଗ୍ରୀର ବିକ୍ରି ପାଇଁ ଭେଣ୍ଡିଂ ବ୍ୟବସ୍ଥା କରାଯିବ ।

୧୦. ରେଲୱେ ରାସ୍ତାର ପ୍ରଶସ୍ତିକରଣ ଓ ଶଶ୍ମାନର ପୁନର୍ବିନ୍ୟାସ
ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାଶ୍ୱର୍କୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ । ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ। ବର୍ତ୍ତମାନ ଥିବା ଶଶ୍ମାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ । ଏହି ଶଶ୍ମାନଟି ୯ ମିଟର ବିଶିଷ୍ଟ ପାଦଚଲା ରାସ୍ତା ଦ୍ୱାରା ମହାନଦୀ ସହ ସଂଯୁକ୍ତ ହେବା ଫଳରେ ଲୋକମାନେ ସୁବିଧାରେ ନଦୀଘାଟକୁ ଯାଇ ପରମ୍ପରା ଓ ରୀତିନୀତି ପାଳନ କରିପାରିବେ । ଶଶ୍ମାନ ପାଖରେ ଶେଷକୃତ୍ୟ, ସ୍ଥାନ ଶ୍ରାଦ୍ଧମଣ୍ଡପ ଓ ବିଶ୍ରାମଗୃହ ର ବ୍ୟବସ୍ଥା କରାଯିବ।