ଦକ୍ଷିଣ-ପୂର୍ବ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି। ଏହାର ପ୍ରଭାବରେ ଏକ ସାମୁଦ୍ରିକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ସାମୁଦ୍ରିକ ଘୂର୍ଣ୍ଣିବଳୟଟି ବିସ୍ତାରିତ ହୋଇ ରହିବା ସହ ଏହା କ୍ରମଶଃ ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତାକାଲି (୧୮, ନଭେମ୍ବର) ସୁଦ୍ଧା ଏହି ଘୂର୍ଣ୍ଣିବଳୟଟି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ଏବଂ ତତ୍ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଏହି ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଗୁରୁବାର ଅପରାହ୍ଣ ମଧ୍ୟରେ ରାଜ୍ୟର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
Follow Us