ଓଡ଼ିଶା ଓ ବିଶ୍ୱବାସୀଙ୍କୁ ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ: କହିଲେ, ମହାପ୍ରଭୁଙ୍କ ଦର୍ଶନ କରି ମୁଁ ବିମୋହିତ

105

କନକ ବ୍ୟୁରୋ: ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସହ ରଥଯାତ୍ରାରେ ସାମିଲ ହୋଇ ଓଡ଼ିଶା ଓ ବିଶ୍ୱବାସୀଙ୍କୁ ଏହି ପୁଣ୍ୟ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ରଥ ସମ୍ମୁଖରେ ଆଭୂମି ପ୍ରଣିପାତ ହେବା ସହ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ପବିତ୍ର ରଥଯାତ୍ରା ଅବସରରେ ମହାପ୍ରଭୁଙ୍କ ପହଣ୍ଡି ଦର୍ଶନ ଏକ ଅପୂର୍ବ ମୁହୂର୍ତ୍ତ । ସେ ଲୀଳାମୟ, ତାଙ୍କ ଲୀଳା ଅପାର । ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଧନ ପରିପୂର୍ଣ୍ଣ ହେଉ ।

ଓଡ଼ିଆ ଜାତି ଓ ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥ । ସେ ଭାବର ଠାକୁର ଓ ଧାର୍ମିକ ସମନ୍ୱୟର ଦେବତା । ଆଜି କୋଟି କୋଟି ଶ୍ରଦ୍ଧାଳୁଙ୍କ ଗ୍ରହଣରେ ତାଙ୍କୁ ଦର୍ଶନ କରି ମୁଁ ବିମୋହିତ। ଧର୍ମେନ୍ଦ୍ର ପ୍ରଧାନ ପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ମାନବ କଲ୍ୟାଣ ଓ ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା କରିଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପୁରୀ ଗୋବର୍ଦ୍ଧନ ପୀଠକୁ ଯାଇ ଶଙ୍କରାଚାର୍ୟ୍ୟ ଜଗତଗୁରୁ ପରମପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କୁ ସାକ୍ଷାତ୍ କରି ତାଙ୍କ ଆଶୀର୍ବାଦ ନେଇଥିଲେ । ସେ କହିଥିଲେ ଦେବା ଦେବୀଙ୍କର ଦର୍ଶନ ଯେତେ ପବିତ୍ର, ପୂଜ୍ୟ ସାଧୁ ସନ୍ଥଙ୍କ ଦର୍ଶନ ମଧ୍ୟ ସେତିକି ପବିତ୍ର । ଆଜି ଦେବ ଦର୍ଶନ ସହ ଗୁରୁ ଦର୍ଶନ କରିବା ଆନନ୍ଦର ବିଷୟ ।