୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାକୁ କାଳବୈଶାଖୀ ଭୟ । ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

959

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ । ଖାଲି ସେତିକି ନୁହେଁ ଓଡିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଆଜି ଅପରାହ୍ନରେ ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଏଥିସହ କାଳବୈଶାଖୀ ଭୟ ରହିଥିବା କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ମତାବକ ଆଜି (୪ ଜୁନ୍‌, ଶୁକ୍ରବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୫ ଜୁନ୍‌, ଶନିବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଏଥିସହ ଆସନ୍ତା ଜୁନ୍‌ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।