ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଜି ଓ କାଲି କେଉଁଠି ହେବ ବର୍ଷା ?

555

କନକ ବ୍ୟୁରୋ : ଗତ କାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଏବଂ ତତ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନୀଭୂତ ହୋ‌ଇ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଏହା ପ୍ରଭାବରେ ୧୨ ଓ ୧୩ତାରିଖରେ ରାଜ୍ୟବ୍ୟାପୀ ଭଲ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ମତ୍ସ୍ୟଜୀବୀଙ୍କୁ ୧୨ରୁ ୧୪ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

କେନ୍ଦ୍ରର ସୂଚନାନୁଯାୟୀ, ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବ‌ର୍ଷା ହେବ । ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ତାରିଖ ଦିନ ଲଘୁଚାପ ପ୍ରଭାବରେ ସାରା ରାଜ୍ୟ‌‌ରେ ବର୍ଷା ହେବ । ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ବାଲେଶ୍ବର, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୩ ତାରିଖ ଦିନ ବି ବର୍ଷାର ପରିମାଣ ଓ ବିସ୍ତୃତି ଅଧିକ ରହିବ। ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।