କନକ ବ୍ୟୁରୋ: ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି । ତେବେ, ଆଜି ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଙ୍ଗଳବାର, ୫ ମେ ଅପରାହ୍ନ ଠାରୁ ବୁଧବାର ଅପରାହ୍ନ ମଧ୍ୟରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତର ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଥିବାବେଳେ ଅନ୍ୟ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।
Weather Forecast & Warning: pic.twitter.com/JBf6DnBHz7
— Meteorological Centre, Bhubaneswar (@mcbbsr) May 5, 2020
ୟେଲୋ ଓ୍ଵାର୍ଣ୍ଣିଂ
ସେହିପରି ରାଜ୍ୟର ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବଲାଙ୍ଗୀର ଓ କୋରାପୁଟ ପ୍ରମୁଖ ୮ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୮ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନା ଜାରି । ଏଥିସହ ଆସନ୍ତା ମେ ୧୦ ତାରଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିବ ବୋଲି କହିଛି ପାଣିପାଗ ବିଭାଗ।
ରାଜ୍ୟର ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଢ଼େଙ୍କାନାଳ, କଟକ ଓ ଭଦ୍ରକ ପ୍ରମୁଖ ୯ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୯ଟି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି । ଏହି ସମୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ମଧ୍ୟ ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି ।